ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୦୨୪ ସୁଦ୍ଧା କାର୍ଯ୍ଯକାରୀ ହେବ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର ଟ୍ରାନ୍ସଫର୍ମେସନାଲ ଇନିସିଏଟିଭ୍ ସମ୍ପର୍କରେ ଏକ ଉପସ୍ଥାପନା ରଖିଥିଲେ । ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ଯକାରୀ ହେବାକୁ ଯାଉଛି । ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ଯକାରୀ ହେବ । ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ୱବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି । ଏହାଦ୍ୱାରା ଓଡ଼ିଶାର ଜଳସମ୍ପଦ କ୍ଷେତ୍ରରେ ଏକ ରୂପାନ୍ତର ଆସି ପାରିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସେଚନ ପ୍ରକଳ୍ପ ଗୁଡ଼ିକର କାର୍ଯ୍ଯକାରୀତା କ୍ଷେତ୍ରରେ ୫ଟି କାର୍ଯ୍ଯକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସମ୍ପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳ ସମ୍ପଦ ବିଭାଗର ପ୍ରଶଂସା କରିଥିଲେ । ବିଭାଗୀୟ ଇଞ୍ଜିନିୟର ମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଅନ୍ୟ ସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ଯକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବଲାଙ୍ଗିର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଜିଲ୍ଲାପାଳ ମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡ଼ିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ୱରାନ୍ୱିତ କରାଯାଇଛି । ସେ ସମ୍ପର୍କରେ ସୂଚନା ଦେଇଥିଲେ । ଆଲୋଚନା ପର୍ଯ୍ଯାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନପୁର, ଛେଳିଗଡ଼, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସୂଚନା ଦିଆଯାଇଥିଲା । ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗ ଯଥା- ଭୂତଳ ପାଇପ୍ ଲାଇନ୍ ବ୍ୟବସ୍ଥାର ପ୍ରୟୋଗ, ଜିଓ ସିନ୍ଥେଟିକ୍ ମାଟ୍ରିସ୍ ଲାଇନିଙ୍ଗ, ସ୍କାଡା, ସ୍ୱୟଂକ୍ରିୟ ଜଳ ପରିଚାଳନା ଆଦି ବିଭିନ୍ନ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସମ୍ପର୍କରେ ସୂଚନା ଦିଆ ଯାଇଥିଲା । ଇଞ୍ଜିନିୟରିଂ ଜ୍ଞାନ କୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ୟ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ୍‌ ୱାର୍କ, ଦାୟିତ୍ୱବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସମ୍ପର୍କରେ ଉପସ୍ଥାପନା ରଖାଯାଇଥିଲା ।

ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ୍ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି । ସ୍ୱଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ । ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ସେ କହିଥିଲେ । ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଗୁଡ଼ିକ ଯେଭଳି ଭାବରେ ଅଗ୍ରଗତି କରୁଛି । ଆଗାମୀ ୨ରୁ ୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲ୍ଲା ଭାବରେ ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଥିଲେ ।

ଯାଜପୁର ଜିଲ୍ଲାରେ ୫ଟି ସ୍କୁଲ୍ ରୂପାନ୍ତରଣ ସହଯୋଗ ନେଇ ସ୍କୁଲ୍ ଗୁଡ଼ିକରେ ମିଶନ ଶକ୍ତିର ମହିଳା ମାନଙ୍କୁ ଅଭିନବ ଉପାୟରେ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରା ଯାଇଥିଲା । ଏହାଦ୍ୱାରା ମିଶନ ଶକ୍ତିର ମହିଳା ମାନେ ଡିଜିଟାଲ୍ ଶିକ୍ଷା ପାଇ ପାରୁଛନ୍ତି । ବୈଠକରେ ଏହି ଅଭିନବ କାର୍ଯ୍ଯକ୍ରମର ପ୍ରଶଂସା କରାଯାଇଥିଲା । ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳ ସମ୍ପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.