ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି: ବିଦାହେଲେ ଆଉ ୬ ଅଧିକାରୀ

ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି

ଭୁବନେଶ୍ୱର: ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଭୁବନେଶ୍ୱରର ଏକଜିକ୍ୟୁଟିଭ୍ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡ଼ା ଜିଲ୍ଲା ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ୟ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ସେ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠା ଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡ଼ିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି ।

Leave A Reply

Your email address will not be published.