ଘରୋଇ ଡାକ୍ତରଖାନାରେ କୋଭିଡ୍ ଚିକିତ୍ସା ପାଇଁ ନିର୍ଦ୍ଧାରିତ ଫି’ ଠାରୁ ଅଧିକ ନେଲେ ହେବ ଦୃଢ଼ କାର୍ଯାନୁଷ୍ଠାନ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ମହାମାରୀ କରୋନାର ପ୍ରଭାବ । ପ୍ରତିଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ୍ ପରିଚାଳନା ସମ୍ପର୍କରେ ରାଜ୍ୟ ସରକାର ଫିଡ୍‌ବ୍ୟାକ୍‌ ସଂଗ୍ରହ କରିଛନ୍ତି । ଏହି ତଥ୍ୟ ଭିତ୍ତିରେ ନିମ୍ନୋକ୍ତ ବିଷୟ ଉପରେ ଗୁରୁତ୍ୱ ଆରୋପ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

୧) ଜିଲ୍ଲାସ୍ତରରେ କୋଭିଡ୍ ଚିକିତ୍ସା କେନ୍ଦ୍ର ଗୁଡ଼ିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍ସିଜେନ ସୁବିଧା ସବୁଠାରୁ ବଡ଼ ପ୍ରାଥମିକତା । ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।

୨) ଅଧିକ ସଂକ୍ରମଣ ଥିବା ଅଞ୍ଚଳ ଗୁଡିକରେ ଟେଷ୍ଟିଂ, ଟ୍ରେସିଂ ଓ କଣ୍ଟେନମେଣ୍ଟକୁ ଜୋରଦାର କରିବା ।

୩) ICU ଓ HDU ଦାୟିତ୍ୱରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ।

୪) ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ । ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟିକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।

୫) କୋଭିଡ୍ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସମ୍ପୃକ୍ତ ହସ୍ପିଟାଲ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।

୬) କୋଭିଡ୍ ହସ୍ପିଟାଲ ଗୁଡ଼ିକରେ ହେଲ୍‌ପ ଲାଇନ୍ ଗୁଡ଼ିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।

୭) ଏଭଳି କଠିନ ସମୟରେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ମାସ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୋଭିଡ ସଂଖ୍ୟା ବହୁ ପରିମାଣରେ ବଢିଥିଲେ ମଧ୍ୟ କୋଭିଡ ଯୋଦ୍ଧା ମାନଙ୍କର ଦୃଢ ପରିଶ୍ରମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁ ପରିସ୍ଥିତିକୁ ଠିକ୍‌ ଭାବରେ ପରିଚାଳନା କରାଯାଇପାରିଛି ।

ତଥାପି ଆହ୍ବାନ ବହୁତ ବଡ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍‌ଡାଉନ ଲାଗୁ କରାଯାଇଛି । ଏହା ଠିକ୍‌ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମେ ସଫଳତା ପାଇଛୁ ଏବଂ ଏହି କୋଭିଡ୍ ମହାମାରୀ କ୍ଷେତ୍ରରେ ମଧ୍ୟ ଏହା ହିଁ ଉପଯୁକ୍ତ ପନ୍ଥା ।

ତେଣୁ ସହରାଞ୍ଚଳରେ ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ସକ୍ରିୟ ସହଯୋଗରେ ଲୋକଙ୍କ ସହାୟତା କରଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦେଶର ଅଳ୍ପ କେତେକ ରାଜ୍ୟଙ୍କ ମଧ୍ୟରେ ଓଡ଼ିଶା ହେଉଛି ଏକ ରାଜ୍ୟ ଯେଉଁଠାରେ କୋଭିଡର ପରୀକ୍ଷା ଠାରୁ ଆରମ୍ଭ କରି ଚିକିତ୍ସା, ରହିବା ସୁବିଧା, ଖାଦ୍ୟ ଓ ଔଷଧ ପର୍ଯ୍ୟନ୍ତ ସବୁକିଛି ସରକାର ମାଗଣାରେ ଦେଉଛନ୍ତି । ଏହା ଦ୍ୱାରା ସବୁବର୍ଗର ଲୋକ, ବିଶେଷ କରି ଗରିବ ଲୋକମାନେ ଭଲ ଭଲ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ନିର୍ଭୟରେ ଆଗେଇ ଆସୁଛନ୍ତି ।

ଏଥିପାଇଁ ସରକାର ତାଙ୍କ ସମ୍ବଳର ଏକ ବଡ଼ ଅଂଶ ଖର୍ଚ୍ଚ କରୁଛନ୍ତି । ତେଣୁ ଲୋକଙ୍କୁ ଉତ୍ତମ ମାନର ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟିକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a comment