ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମ ଓଡିଶାର ୯ଟି ପ୍ରକଳ୍ପ ଲୋକାର୍ପିତ କରିବା ସହ ୯ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଆଞ୍ଚଳିକ ବୈଷମ୍ୟ ଦୂର କରିବା ପାଇଁ ଆମେ କାମ କରୁଛୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ପାଇଁ ୯ଟି ପ୍ରକଳ୍ପ ଲୋକାର୍ପିତ କରିଥିବା ବେଳେ ଆଉ ୯ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଛନ୍ତି । ଲୋକାର୍ପିତ ୯ଟି ପ୍ରକଳ୍ପ ପାଇଁ ୧୪.୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଭିତ୍ତିପ୍ରସ୍ତର ରଖାଯାଇଥିବା ୯ଟି ପ୍ରକଳ୍ପର ମୂଲ୍ୟ ୩୩.୬୮ କୋଟି ଟଙ୍କା । ସମୁଦାୟ ପ୍ରକଳ୍ପ ପାଇଁ ୪୮.୩୭ କୋଟି ଟଙ୍କା ବିନିଯୋଗ କରାଯାଉଛି। ଲୋକାର୍ପିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ସ୍କୁଲ, କଲ୍ୟାଣ ମଣ୍ଡପ, କ୍ରୀଡା କମ୍ଲେକ୍ସ ଆଦିର ବିକାଶ ସହିତ କୋମନା ଠାରେ ଏକ ମିଲେଟ୍‌ ପ୍ରକ୍ରିୟାକରଣ ପ୍ରକଳ୍ପ ରହିଛି । ସେହିପରି ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମାନଙ୍କ ମଧ୍ୟରେ ଇକୋ ଟୁରିଜିମ, ଭିତ୍ତିଭୂମି, ଇକୋ ପାର୍କ, ଷ୍ଟାଡିଅମ, ହସ୍ତତନ୍ତ ମଲ୍‌ ଆଦିର ବିକାଶ କାର୍ଯ୍ୟକ୍ରମ ରହିଛି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଥିଲେ ଯେ ଆଞ୍ଚଳିକ ବୈଷମ୍ୟ ଦୂର କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର ପଶ୍ଚିମ ଓଡିଶାର ବିକାଶ ଉପରେ ଗୁରୁତ୍ବ ଦେଇ କାମ କରୁଛନ୍ତି । ୨୦୦୦ ମସିହାରୁ ଏପର୍ଯ୍ୟନ୍ତ ପଶ୍ଚିମ ଓଡିଶା ବିକାଶ ପରିଷଦ ଜରିଆରେ ପ୍ରାୟ ୪୦ ହଜାର ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇଛି। ଗତବର୍ଷ ପରିଷଦର ବାର୍ଷିକ ଅନୁଦାନକୁ ୧୦୦ କୋଟିରୁ ୨୦୦ କୋଟିକୁ ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଅଧିକ ପ୍ରକଳ୍ପ ହାତକୁ ନେବା ପାଇଁ ସୁଯୋଗ ସୃଷ୍ଟି କରିଛି । ପଶ୍ଚିମ ଓଡିଶାର ବିକାଶ ପାଇଁ ଭିତ୍ତିଭୂମି ସହିତ କୃଷି, ଜଳସେଚନ ଓ ଶିଳ୍ପ ଉପରେ ଆମେ ବିଶେଷ ଜୋର ଦେଉଛୁ । ତାସହିତ ପର୍ଯ୍ୟଟନ ଓ ହସ୍ତତନ୍ତ ଆଦିର ବିକାଶ ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେଉଛି। ସେହିପରି ହରିଶଙ୍କର, ନୃସିଂହନାଥ ଓ ମା ସମଲେଇ କ୍ଷେତ୍ରର ବିକାଶ ପାଇଁ ମଧ୍ୟ କାମ ଚାଲିଛି ବୋଲି ସେ କହିଥିଲେ।

ବିଜୁ ଏକ୍‌ସପ୍ରେସ୍‌ ୱେର ପଶ୍ଚିମ ଓଡିଶା କରିଡର କାମ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହାଦ୍ବାରା ଏଠାରେ ଅର୍ଥନୈତିକ ପ୍ରକ୍ରିୟା ତ୍ବରାନ୍ବିତ ହେବ। ଆଗାମୀ ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ଶିଳ୍ପ ପାଇଁ ଏକ ସ୍ୱତନ୍ତ୍ର ଇନିସିଏଟିଭ୍ ପ୍ୟାକେଜ୍ ଘୋଷଣା କରାଯିବ ବୋଲି ସେ କହିଥିଲେ। ପଶ୍ଚିମ ଓଡିଶାରେ ବିକାଶ ରଥକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଏକ ସ୍ବତନ୍ତ୍ର ଲୋଗୋ ଓ ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କରିଥିଲେ ।

ଏହି ଅବସରରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମର ଉଚ୍ଚପ୍ରଶଂସା କରିବା ସହିତ ରାଜ୍ୟର ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ଏକ ପ୍ରମୁଖ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଂପର୍କରେ ବର୍ଣ୍ଣନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର, ଉନ୍ନୟନ କମିଶନର  ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇଛନ୍ତି ଓ ପରିଷଦର ମାର୍ଗଦର୍ଶନ କରିଛନ୍ତି । ପରିଷଦ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାର Baseline Economic Data ରଖାଯାଇଛି ଏବଂ ବିଭିନ୍ନ ଅଞ୍ଚଳର ମୌଳିକ ସୁବିଧା ଆସୁବିଧାକୁ ଦୃଷ୍ଟିରେ ରଖି ପ୍ରକଳ୍ପ ନିର୍ମାଣ କରାଯାଉଛି । ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାରେ ବିକାଶ ପରିଷଦର କାର୍ଯ୍ୟାଳୟ ଖୋଲାଯାଇଛି ବୋଲି ସେ କହିଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ସିଇଓ ଶ୍ରୀ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ପଶ୍ଚିମ ଓଡିଶାର ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.