ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି : ଅପରାହ୍ନ ୫ରୁ ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅର୍ଥାତ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଆଶ୍ୱିନ-କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହେବାକୁ ଥିବା ବନକଲାଗି ନୀତି ପାଇଁ ଆସନ୍ତକାଲି ଅପରାହ୍ନ ୫ରୁ ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave a comment