ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ, ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଆଜି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ।  ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ, ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a comment