ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି : ୧୦ ଜିଲ୍ଲାରେ ୩୦-୪୦ କିମି ବେଗରେ ବୋହିବ ପବନ, ମେଘାଚ୍ଛନ୍ନ ଭୁବନେଶ୍ୱରର ଆକାଶ

ଭୁବନେଶ୍ବର : ଝଡ଼ବର୍ଷା ନେଇ ରାଜ୍ୟରେ ସତର୍କ ସୂଚନା ଜାରି। ଆଜିଠୁ ୧୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।


ସେହିପରି ଏହି ସମୟ ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୮ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।


ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ଉତ୍ତର ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ।ସେହିପରି ଜାରି ସତର୍କ ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।


ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ଅପରାହ୍ନ/ ସନ୍ଧ୍ୟା ଆଡ଼କୁ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ବେଳେ ଅପରାହ୍ନ ୪.୩୦ ପାଖରୁ ଭୁବନେଶ୍ବର ଆକାଶ ମେଘାଚ୍ଛନ୍ନ ରହିବା ସହ ଥଣ୍ଡା ପବନ ବୋହିବାରେ ଲାଗିଛି।

Leave A Reply

Your email address will not be published.