ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟର ୧୩ ଜିଲ୍ଲାକୁ କାଳବୈଶାଖୀ ଭୟ, ବଜ୍ରପାତ ସହ କୁଆପଥର ବର୍ଷାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଚାରିଦିନ ଧରି ଲାଗି ରହିଥିବା କାଳବୈଶାଖୀ ପ୍ରଭାବ ଆଜି ବି ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ଉତ୍ତର, ଦକ୍ଷିଣ ଓ ଉପକୂଳର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ମୁତାବକ ଆଜି ଅପରାହ୍ନ ୧ଟା ୩୦ରୁ ଆସନ୍ତାକାଲି ବୁଧବାର ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଏଥିସହ ୧୨ରୁ ୧୬ ତାରିଖ ପର୍ୟ୍ୟନ୍ତ ସମଗ୍ର ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave A Reply

Your email address will not be published.