ଆଜି କୁମାର ପୂର୍ଣ୍ଣିମା; ସର୍ବଗୁଣସମ୍ପନ୍ନ ଜୀବନସାଥୀଟିଏ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା

ଆଜି କୁମାର ପୂର୍ଣ୍ଣିମା। ଏହି ଦିନ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୁନ୍ଦର ଓ ବୀର ବର ମିଳେ ବୋଲି ଲୋକ ବିଶ୍ବାସ ରହିଛି । ତେଣୁ ସର୍ବଗୁଣସମ୍ପନ୍ନ ଜୀବନସାଥୀଟିଏ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା । ଏନେଇ କୁମାରୀଙ୍କ ମନରେ ବେଶ୍‌ ଉତ୍ସାହ ଭରି ରହିଛି । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ ।

ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ରପୂଜା ମଧ୍ୟ କରିଥାନ୍ତି। ଏହାସହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦା- ପନା ମଧ୍ୟ କରିଥାନ୍ତି। ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ । ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସହିତ ଯୁଦ୍ଧ ଆରମ୍ଭ କରିଥିଲେ । ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ ।

ଏହି ଦିନ ଘରର କୁମାରୀମାନେ ଭୋର୍ ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି । ପ୍ରତ୍ୟକ ପୂଜା ପର୍ବରେ ଭାରତୀୟ ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘଜୀବନ କାମନା କରିଥାନ୍ତି । ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି।କୁମାରପୂର୍ଣ୍ଣିମାର କିଛିଦିନ ପୂର୍ବରୁ ଚଉରା କୁ ଭଲ ଭାବରେ ସଫା କରି ରଙ୍ଗ କରାଯାଇଥାଏ । କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୂଜରେ ବିଭିନ୍ନ ପ୍ରକର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ ।

ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରା ଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜା- ଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି।

Leave a comment